ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ଆଶଙ୍କା କରାଯାଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଆଜିଠାରୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ତେବେ, ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ବିଶେଷକରି ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲା ଯଥା- ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ହୋଇଥିବାରୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ସ୍ବାସ୍ଥ୍ୟ ଏବଂ ପଶୁ ସମ୍ପଦ ବିଭାଗକୁ ସଜାଗ ରହିବାକୁ ଆଲର୍ଟ କରାଯାଇଛି।

Leave a Reply

Your email address will not be published. Required fields are marked *