ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସୋମବାର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପବନ ଓ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ‘ପ୍ରସ୍ତୁତ ରହିବା’ ନିମନ୍ତେ ଚେତାବନୀ ଜାରି ହୋଇଛି। ଏହି ସମୟରେ ପଶ୍ଚିମ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ୩୦ରୁ ୪୦ କିମି ବେଗରେ ପବନ ହେବ। ତେବେ ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ସ୍ଥିତି ଲାଗିରହିବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ ବୋଲି ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହୋଇପାରେ।








